ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବର ୨୫ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସମ୍ଭାବ୍ୟ ଗସ୍ତକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆଜି ଏନେଇ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ।ସୂଚନା ଅନୁଯାୟୀ, ଶନିବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟାରେ ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଏହି ବୈଠକ ବସିବ।ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ପର୍କିତ ବିଭିନ୍ନ ପ୍ରସ୍ତୁତିର ସମୀକ୍ଷା କରାଯିବ। ସମ୍ଭାବ୍ୟ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା, ଯାତାୟାତ ନିୟନ୍ତ୍ରଣ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା ହେବ। ଏହି ବୈଠକରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବେ।
ସୂଚନାଯୋଗ୍ୟ, ଓଡ଼ିଶାରେ ବିଜେପି ସରକାର ଗଠନ ହେବା ପରଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ ଥର ଓଡ଼ିଶା ଗସ୍ତ କରିଛନ୍ତି। ଯଦି ଅକ୍ଟୋବର ୨୫ରେ ତାଙ୍କର ଗସ୍ତ ହୁଏ, ତେବେ ଏହା ହେବ ଓଡ଼ିଶାକୁ ତାଙ୍କର ନବମ ଗସ୍ତ।







